ନିଉଜ୍୧୮ ଦ୍ଵାରା ଆୟୋଜିତ ଓଡ଼ିଆ ଅସ୍ମିତା ସମ୍ପର୍କୀୟ ଏକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଇଥିବା ଭାଷଣ ଉପରେ ମୋର ପ୍ରତିକ୍ରିୟା
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ସମ୍ପୂର୍ଣ୍ଣ ଅବଗତ ଯେ, ଓଡ଼ିଶା ଯେଉଁ ଭାଷାର ସୃଷ୍ଟି, ସେ ଭାଷା ଓଡ଼ିଶାର କୌଣସି କାର୍ଯ୍ୟାଳୟରେ ଅଲଙ୍ଘ୍ୟ ହୋଇନଥିବା ହେତୁ ଇଂରାଜୀରେ ଚାଲିଛି ରାଜ୍ୟର ପରିଚାଳନା ।
ବିଧାନ ପ୍ରଣୟନ ପ୍ରକ୍ରିୟାରେ ଜାଲିଆତି କରି ବିଜୁ ପଟ୍ଟନାୟକ ୧୯୬୩ରେ ଓଡ଼ିଶା ରାଜଭାଷା ଆଇନ, ୧୯୫୪ରେ ଯେଉଁ ୩(କ) ଧାରା ଯୋଡ଼ିଥିଲେ ଓ ତତୋଧିକ ଜାଲିଆତି କରି ମୋହନ ବାବୁଙ୍କ ପୂର୍ବବର୍ତ୍ତୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ଧାରା ୪ , ୫ ଓ ୪(କ) ତଥା ଜାଲିଆତି ପ୍ରସୂତ ଯେଉଁ ନିୟମାବଳୀ ପ୍ରବର୍ତ୍ତନ କରିଛନ୍ତି, ତାହା ସରକାରୀ ଭାଷା ଭାବେ ଓଡ଼ିଆ ଭାଷାକୁ ଅକର୍ମଣ୍ୟ କରିଦେଇଛି ଓ ପ୍ରଥମ ଓଡ଼ିଶା ବିଧାନ ସଭା ୧୯୫୪ରେ ପ୍ରଣୟନ କରିଥିବା ଉପରୋକ୍ତ ଆଇନକୁ ବସ୍ତୁତଃ ଅକାମୀ କରିଦେଇଛି ।
ସ୍ମାରକପତ୍ର ମାଧ୍ୟମରେ ତାଙ୍କୁ ଏହା ଅବଗତ କରାଇଥିଲେ ମଧ୍ୟ, ଉପରୋକ୍ତ ଅବୈଧ ଧାରାଗୁଡ଼ିକୁ ତଥା ନିୟମାବଳୀକୁ ଲୋପ କରିବାକୁ କୌଣସି ପଦକ୍ଷେପ ନ ନେଇ ସେ ଓଡ଼ିଆ ଭାଷାର ରାଜଭାଷା ମର୍ଯ୍ୟାଦାକୁ ଅପାଙ୍କ୍ତେୟ କରି ରଖିଛନ୍ତି ।
ଯେଉଁ ଭାଷା କାର୍ଯ୍ୟାଳୟର ଭାଷା ନ ହୁଏ ତାହା ନିଷ୍ପ୍ରଭ ହୋଇଯାଏ ଓ କାଳ କବଳରେ ମରିଯାଏ, ଯେପରି ମରିଯାଇଛି ପାଲି ଭାଷା ଓ ସଂସ୍କୃତ, ବିପୂଳ ସାହିତ୍ୟ ସତ୍ତ୍ଵେ ।
ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ଏହି ଅସଲ କଥା ଉପରେ ପାଟି ନ ଖୋଲି ବାକି ଯାହା କହିଛନ୍ତି ତାହା ତାଙ୍କ ଲୋକସମ୍ପର୍କ ଅଧିକାରୀ ବି କହିପାରିଥାନ୍ତେ।
ସୁଭାଷ ଚନ୍ଦ୍ର ପଟ୍ଟନାୟକ ,
ପ୍ରତିଷ୍ଠାତା, ଭାଷା ଆନ୍ଦୋଳନ, ଓଡ଼ିଶା
Category: Persons
ଭାଷା ଆନ୍ଦୋଳନ: ସ୍ବାଗତଯୋଗ୍ୟ ଚୈତନ୍ୟୋଦୟ
ଆଜି ସାମାଜିକ ଗଣମାଧ୍ୟମ -ଫେସବୁକ – ପୃଷ୍ଠାରେ ଏକ ସୁଖଦାୟକ ଖବର ନଜରକୁ ଆସିଲା ।
ମୋ ପାଇଁ ଅତ୍ୟନ୍ତ ଆନନ୍ଦର କଥା , ମୋର ଯେଉଁ ସାଥିମାନେ ଭ୍ରମିତ ହୋଇ ଭାବିଥିଲେ, ନବୀନ ପଟ୍ଟନାୟକ ଭାଷା ଆଇନରେ ଆଣିଥିବା ସଂଶୋଧନ ନିର୍ଭୁଲ, ଓ ସେହି ବିଶ୍ୱାସରେ ଆନ୍ଦୋଳନର ଆଉ କୌଣସି ଆବଶ୍ୟକତା ନାହିଁ ବୋଲି ଘୋଷଣା କରି କଳାପତାକା ଅଭିଯାନରୁ ଓହରି ଯାଇଥିଲେ, ସେମାନଙ୍କ ଭ୍ରମ ତୁଟିଛି । ସେମାନେ ଘୋଷଣା କରିଛନ୍ତି , ଓଡ଼ିଆ ନୂଆବର୍ଷଠାରୁ ପୁନଶ୍ଚ କଳାପତାକା ଅଭିଯାନ ଚଳାଇବେ ।
ସେମାନଙ୍କର ଏହି ଚୈତନ୍ୟୋଦୟକୁ ସର୍ବାନ୍ତଃକରଣରେ ମୁଁ ସ୍ଵାଗତ କରୁଛି ଓ ନିଜ ଭାଷା ଅଧିକାର ହାସଲ କରିବା ପାଇଁ ସମଗ୍ର ଓଡ଼ିଆ ଜାତି ଭାଷା ମାଆର ଜୈତ୍ରବାନା – କଳାପତାକା – ଉତ୍ତୋଳନ କରି ଏହି ଅଭିଯାନକୁ ସଫଳ କରିବାକୁ ମୁଁ ନିବେଦନ କରୁଛି ।
ସୁଭାଷ ଚନ୍ଦ୍ର ପଟ୍ଟନାୟକ
ପ୍ରତିଷ୍ଠାତା , ଭାଷା ଆନ୍ଦୋଳନ,ଓଡ଼ିଶା
ପ୍ରଥମଥର ପାଇଁ ଭାଷା ଆନ୍ଦୋଳନ ଉପରେ ଆକ୍ରମଣ: ହସ୍ତକ୍ଷେପ ପାଇଁ ପୋଲିସକୁ ଅନୁରୋଧ
ଭୁବନେଶ୍ବର ,ତା ୦୨.୦୨.୨୦୨୫
ଓଡ଼ିଆ ଜାତିର ଭାଷା ଅଧିକାର ପାଇଁ ଚାଲିଥିବା ଭାଷା ଆନ୍ଦୋଳନ ଆଜି ନବମ ବର୍ଷର ଦଶମ ମାସ ଦ୍ଵିତୀୟ ଦିବସରେ ପହଞ୍ଚିଲା । ଯାହାଙ୍କ ତ୍ୟାଗ ଓ ତପସ୍ୟା ହେତୁ ଏକ ଭାଷାଭିତ୍ତିକ ସ୍ଵତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାର ଆବିର୍ଭାବ, ଓଡ଼ିଆ ଜାତିର ସେହି ପରମପ୍ରିୟ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ବିଜେସ୍ଥଳୀ ପ୍ରତିଦିନ ପ୍ରଦକ୍ଷିଣ କରି ଓଡ଼ିଆ ଜାତିର ଦୁଃଖଦଗ୍ଧ ଐକ୍ଯର ପ୍ରତୀକ “କଳାପତାକା”ର ଅର୍ଘ୍ୟ ଆମ୍ଭେ ଦେଇଥାଉ।
କୁଳବୃଦ୍ଧଙ୍କ ପୀଠକୁ ଯିବା ପାଇଁ ପାହାଚ ପରି ଏକ ପଥର ଥିଲା ଯାହା ଉପରେ ପଦ ରଖି ମୁଁ ଉପରକୁ ଉଠିପାରୁଥିଲି ଓ ଓଡ଼ିଶାର ବିଭିନ୍ନ ସ୍ଥାନରୁ ମାତୃଭାଷାପ୍ରାଣ ଓଡ଼ିଆମାନେ କଳାପତାକାର ଅର୍ଘ୍ୟ ଦେବାକୁ ମୋ ସହ ଯୋଗ ଦେଇ ପାରୁଥିଲେ । କେଇ ଦିନ ତଳେ, ହଠାତ୍ ଦେଖାଗଲା, ସେହି ପଥରଟି ଆଉ ନାହିଁ । ମୁଁ ବେଢା ତଳେ ଠିଆ ହୋଇ କଳାପତାକାର ଅର୍ଘ୍ୟ ଦେଉଥିଲି ।
ଗତକାଲି ସନ୍ଧ୍ୟା ୫ଟାରେ ମୁଁ ପୂର୍ବବତ୍ ଅର୍ଘ୍ୟ ଦେଇ ପେରୁଥିବା ବେଳେ ମୋ ସହ ଚିହ୍ନା ପରିଚୟ ନଥିବା ଜଣେ ବ୍ୟକ୍ତି ମୋତେ ହଠାତ୍ ଭୟଙ୍କର ବାଚନିକ ଆକ୍ରମଣ କଲେ ଓ ଓଡ଼ିଆ ଜାତିର ସୁପରିଚିତ ଏବଂ ସୁପ୍ରିୟ କଳାପତାକା ଅଭିଯାନ ବନ୍ଦ ରଖିବାକୁ ଧମକ ଦେଲେ ।
ମୁଁ ଏହା ପୋଲିସକୁ ଅବଗତ କରାଇଛି ଇ-ମେଲ୍ ମାଧ୍ୟମରେ । ନିମ୍ନରେ ତାହା ଓଡ଼ିଆ ଜାତିର ଅବଗତି ପାଇଁ ଉପସ୍ଥାପିତ ହେଲା :
ମଧୁବାବୁଙ୍କୁ ଭାଷା ଆନ୍ଦୋଳନର କଳାପତାକାର ନିତ୍ୟ ନିବେଦନ ପ୍ରଦାନ ବେଳେ ସୁରକ୍ଷା ପ୍ରଦାନ ପାଇଁ ଅନୁରୋଧ ଓ ଗତକାଲି ଏହି ଅର୍ଘ୍ୟ ପ୍ରଦାନ ବେଳେ ପୋଲିସ ଉପସ୍ଥିତିରେ ମୋ ଉପରେ ହୋଇଥିବା ଆକ୍ରମଣର ପ୍ରତିକାର ପାଇଁ ପ୍ରାର୍ଥନା
ମହାଶୟ,
ଓଡ଼ିଶା କାର୍ଯ୍ୟାଳୟ ଭାଷା ଆଇନ, ୧୯୫୪ (Orissa Official Language Act, 1954)ର ଅଲଙ୍ଘ୍ଯ କାର୍ଯ୍ୟକାରିତା ପାଇଁ ୦୧.୦୪.୨୦୧୬ ତାରିଖରେ ମୋ ଦ୍ଵାରା ପ୍ରତିଷ୍ଠିତ ଭାଷା ଆନ୍ଦୋଳନ, ଓଡ଼ିଶାର ପ୍ରୟୋଗାତ୍ମକ ପଦ୍ଧତ୍ତି – ନିରବ କଳାପତାକା ଅଭିଯାନ – ଗତ ୧୩.୦୪.୨୦୧୬ ତାରିଖରୁ ଅଦ୍ୟାବଧି ସମ୍ପୁର୍ଣ୍ଣ ଶାନ୍ତିପୂର୍ବ ଭାବେ ଚାଲିଛି । କେବେ ବି ଆମ୍ଭେ କୌଣସି ବେଆଇନ ପଦକ୍ଷେପ ନେଇନାହୁଁ ଓ ପୋଲିସ ଯେତେବେଳେ ଆମକୁ ମୁଖ୍ୟମନ୍ତ୍ରୀଙ୍କ ରାସ୍ତା ସଫା ରଖିବାକୁ ଅଟକାଇଛନ୍ତି , କୌଣସି ପ୍ରତିବାଦ ନକରି ଆମ୍ଭେ ସହଯୋଗ କରିଛୁ । ଏହା ଏକ ଅଦର୍ଶସ୍ଥାନୀୟ ସଂପୂର୍ଣ୍ଣ ଶାନ୍ତ ସାମାଜିକ ଆନ୍ଦୋଳନ ବୋଲି ସ୍ବନାମଧନ୍ୟ ପ୍ରଫେସର, ସାମାଜିକ କର୍ମୀ, ଲେଖକ ଓ ଗବେଷକମାନେ ମୌଖିକ ଓ ଲିଖିତ ପ୍ରଶଂସା କରିଛନ୍ତି । ଏପରିକି, ବିଶ୍ବବିଦ୍ୟାଳୟର ସର୍ବୋଚ୍ଚ ଗବେଷଣା ଉପାଧି (Ph D) ସନ୍ଦର୍ଭରେ ଏହି ଆନ୍ଦୋଳନ ଏକ ଆଦର୍ଶ ଆନ୍ଦୋଳନ ଭାବେ ସ୍ଥାନିତ ହୋଇଛି । ଏହା ନିଜ ଶାନ୍ତିପୂର୍ଣ୍ଣ ପଦ୍ଧତ୍ତି ଅନୁସରଣ କରି ନବମ ବର୍ଷର ନବମ ମାସ ଅତିକ୍ରମ କରିଛି ଓ ଆମ ଗଣତାନ୍ତ୍ରିକ ଅଧିକାରକୁ ସମ୍ମାନ ଦେଇ ଏବଂ ଏହାର ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଆଚରଣକୁ ନଜରରେ ରଖି ଓଡ଼ିଶା ପୋଲିସ ସମଗ୍ର ରାଜ୍ୟରେ କେବେ ବି କୌଣସି ବାଧା ଦେଇନାହାନ୍ତି ।
ଦୁଃଖର କଥା , ପ୍ରତିଦିନ ପରି ଗତକାଲି ଅପରାହ୍ନ ୫ଟାରେ ମଧୁବାବୁଙ୍କ ବିଜେସ୍ଥଳୀରେ ପ୍ରତୀକାତ୍ମକ ଭାବେ କଳାପତାକାର ଅର୍ଘ୍ୟ ନିବେଦନ କରି ଫେରୁଥିବା ବେଳେ ମୁଁ ଚିହ୍ନି ନଥିବା ଜଣେ ବ୍ୟକ୍ତି ମୋତେ ଭୟଙ୍କର ବାଚନିକ ଭର୍ତ୍ସନା କରି ଏ ଅଭିଯାନ ବନ୍ଦ କରିବାକୁ ଧମକ ଦେଇଥିଲେ , ୟୁନିଫର୍ମରେ ଉପସ୍ଥିତ ଥିବା ପୋଲିସ କର୍ମଚାରୀମାନେ ତାହା ପ୍ରତ୍ଯକ୍ଷ କରିଛନ୍ତି ।
ଓଡ଼ିଆ ଜାତିର ଭାଷା ଅଧିକାର ହାସଲ କରିବା ପାଇଁ ଗତ ନଅ ବର୍ଷ ନଅ ମାସ ଧରି ନିରବଚ୍ଛିନ୍ନ ଭାବେ ଓ ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଶୈଳୀରେ ଚାଲିଆସିଥିବା ଏହି ଜାତୀୟ ତପସ୍ୟାରେ ଓ କୁଳବୃଦ୍ଧ ମଧୁସୂଦନଙ୍କୁ କଳାପତାକାର ନିତ୍ୟ ଅର୍ଘ୍ଯ ପ୍ରଦାନ କରିବାରେ କେହି ବାଧାଦେବା ଯେପରି ନହୁଏ ତାହା ପୂର୍ବବତ୍ ସୁନିଶ୍ଚିତ କରିବା ପାଇଁ ମୁଁ ଆପଣଙ୍କୁ ପ୍ରାର୍ଥନା କରୁଛି । ମୋର ସମସ୍ତ କାର୍ଯ୍ୟକ୍ରମ ପୂର୍ବବତ୍ ସନ୍ଧ୍ଯା ୫ଟାରୁ ୫ଟା ୧୦ ଭିତରେ ସମାପ୍ତହେବ ଓ ମୁଁ ଯାନବାହାନ ଚଳାଚଳରେ କୌଣସି ବାଧା ଦେବି ନାହିଁ ବୋଲି ଆପଣଙ୍କୁ ପୁନର୍ବାର କଥା ଦେଉଛି । ଉଚିତ ମନେକଲେ, ଏହି ସମୟରେ ମୋତେ ସୁରକ୍ଷା ଦେବାକୁ ଆପଣଙ୍କୁ ବିନମ୍ର ଅନୁରୋଧ ।
ଇତି
ଆପଣଙ୍କର
ସୁଭାଷ ଚନ୍ଦ୍ର ପଟ୍ଟନାୟକ
ପ୍ରତିଷ୍ଠତା, ଭାଷା ଆନ୍ଦୋଳନ, ଓଡ଼ିଶା
—
Subhas Chandra Pattanayak
Founder,
Bhasha Andolan, Orissa
https://bhashaandolan.com
ବୈଷ୍ଣବ ମହାନ୍ତି ଏକା ନୁହନ୍ତି
ସୁଭାଷ ଚନ୍ଦ୍ର ପଟ୍ଟନାୟକ
ଓଡ଼ିଶାର ସ୍ବନାମଧନ୍ୟ ସାହିତ୍ୟିକ ବୈଷ୍ଣବ ଚରଣ ମହାନ୍ତି ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସହକାରୀ ନିର୍ଦ୍ଦେଶକ ପଦରୁ ଅବସର ଗ୍ରହଣ କରିବାର ପ୍ରାୟ ୧୨ ବର୍ଷ ବିତିଯାଇଥିଲେ ମଧ୍ୟ ଏଯାଏଁ ତାଙ୍କ ପେନସନ ପାଇନାହାନ୍ତି – ଏହା ବିଶ୍ଵାସଯୋଗ୍ୟ ନହୋଇଥିଲେ ବି ସତ୍ୟ ।
ଏ ସମ୍ପର୍କରେ ନିଜ ଫେସବୁକ ପୃଷ୍ଠାରେ ଶ୍ରୀ ମହାନ୍ତି ଲେଖିଛନ୍ତି :
ମାନ୍ଯବର ହାଇକୋର୍ଟ ଦୁଇଦୁଇ ଥର ମୋ ପେନସନ ଦେଇଦେବାକୁ ନିର୍ଦ୍ଦେଶ ଦେବାପରେ ବି ମୋ ପ୍ରାପ୍ୟ ମୋତେ ମିଳୁନି । ଥରେ କହିଲେ ତିନିମାସ ଭିତରେ ଦେଇଦିଅ, ତିନିମାସ ଯାଇ ପାଞ୍ଚ ମାସ ଗଲା। ଅଦାଲତ ଅବମାନନା କେସ୍ କଲି। କୋର୍ଟ କହିଲେ ଦେଇନ, କିନ୍ତୁ ଏଥର ମାସକ ଭିତରେ ଦିଅ, ନ ହେଲେ ଜାଣିକି ଦେଉନ ବୋଲି ଧରାଯିବ। ଏ ଅର୍ଡର ଦେବାର ତିନିମାସ ପରେ ବି ମୋ ପେନସନ ଶିକ୍ଷାନିର୍ଦ୍ଦେଶାଳୟ ଓ ବିଦ୍ୟାଳୟ ଗଣଶିକ୍ଷାବିଭାଗ ଦେଉନାହିଁ।
୧ .ମୋ ନାଆଁରେ କିଛି ସରକାରୀ ଅର୍ଥ ତୋଷରପାତର ଅଭିଯୋଗ ଅଛି କି?୨.ଅଡିଟ୍ ଅବଜେକସନ୍ ଅଛି କି ?୩. ଅଫିସିଆଲ ପ୍ରୋସିଡିଙ୍ଗ୍ ଅଛି କି ?୪.ପୋଲିସ କେସ୍, ଭିଜିଲାନ୍ସ କେସ୍ ଅଛି କି ?
ବିଧାନସଭା// ରାଜ୍ୟପାଳଙ୍କ ହିନ୍ଦୀ ଭାଷଣ ଓଡ଼ିଆ ଅସ୍ମିତା ପ୍ରତି ଉପହାସ: ପ୍ରତିବାଦ ନକରି ନବୀନଙ୍କ ପଳାୟନ
ସୁଭାଷ ଚନ୍ଦ୍ର ପଟ୍ଟନାୟକ
ନୂଆ ବିଧାନସଭାର ପ୍ରଥମ ଅଧିବେଶନର ପ୍ରଥମ ଦିବସ ଥିଲା ଓଡ଼ିଶା ପାଇଁ ଏକ ଅପମାନଜନକ ଦିବସ । ଏଦିନ ପ୍ରଥମଥର ପାଇଁ ହିନ୍ଦୀଭାଷାରେ ଶୁଣିବାକୁ ପଡ଼ିଥିଲା ରାଜ୍ୟପାଳଙ୍କ ପାରମ୍ପାରିକ ଭାଷଣ ! ଏହା ଓଡ଼ିଆ ଅସ୍ମିତା ପ୍ରତି ଥିଲା ଏକ ଉତ୍କଟ ଉପହାସ । ଏହାର ପ୍ରତିବାଦ ନକରି, ବିରୋଧୀ ଦଳ ନେତା ବନିଥିବା ନବୀନ ପଟ୍ଟନାୟକ ପଳାୟନ କରିବା ଥିଲା ତତୋଧିକ ଅପମାନଜନକ ଓଡ଼ିଆ ଜାତି ପାଇଁ ।
ଇତିହାସ ଜାଣେ , ବ୍ରିଟିଶ ଶାସନ କାଳରେ ଓଡ଼ିଆ ଭାଷା ବିଲୋପ କରିବା ପାଇଁ ହିନ୍ଦୀ ଭାଷାଭାଷୀମାନେ ଜଘନ୍ୟ ଚକ୍ରାନ୍ତ ଚଳାଇଥିଲେ । ଓଡ଼ିଆ ଜାତି ଯଦି ସେ ଚକ୍ରାନ୍ତକୁ ପଣ୍ଡ କରିନଥାନ୍ତା, ସମଗ୍ର ସମ୍ବଲପୁର ଇଲାକା, ଯାହାକୁ ଏକ ଲାଭଲିପ୍ସୁ ଖବରକାଗଜ ସମ୍ବାଦ “ପଶ୍ଚିମ ଓଡ଼ିଶା” କହି ବିଷ ମଞ୍ଜି ବୁଣିଛି, ରହି ଯାଇଥାନ୍ତା ମଧ୍ୟପ୍ରଦେଶରେ ।
ଜାତି ଉପରେ ବିପତ୍ତି
ବ୍ରିଟିଶ ବିରୁଦ୍ଧରେ ଭାରତର ପ୍ରଥମ ସ୍ଵାଧୀନତା ସଂଗ୍ରାମ କେବଳ ଓଡ଼ିଆ ଭାଷାଭାଷୀମାନେ ହିଁ କରିଥିଲେ (ସୁଭାଷ ଚନ୍ଦ୍ର ପଟ୍ଟନାୟକ, ଶ୍ରୀ ଜୟ ଦେବଙ୍କ ବାଇଶି ପାହାଚ, ଭାରତ ଭାରତୀ, କଟକ, ୨୦୦୫ ପୃଷ୍ଠା ୩୯ )। ସେ ସଂଗ୍ରାମ ପ୍ରତ୍ଯକ୍ଷ କରିଥିବା ଜି. ଟୟନବୀ ଲେଖିଛନ୍ତି : ଆମେ ଏପରି ଏକ ଆକସ୍ମିକ ଝଡ଼ର ସମ୍ମୁଖୀନ ହୋଇଥିଲୁ ଯାହାର ଜଳନ୍ତା ନିଆଁ ପରି ଉତପ୍ତ ପ୍ରାଖର୍ଯ୍ୟ ଆମକୁ ସମଗ୍ର ଓଡ଼ିଶାରୁ ନହେଲେ ମଧ୍ୟ ଖୁରୁଧା ମୁଲକରୁ ନିକାଲି ଦେଇ ପାରେ ବୋଲି ଆମ ମନରେ ଭୀତି ସଂଚାର ହୋଇଥିଲା (“we had to encounter a storm which burst with so sudden furry as to threaten our expulsion, if not from the whole of Orissa, at least from the territory of Khurda” (G. Toynbee, A sketch of the history of Orissa). ବ୍ରିଟିଶ ଆଇନ ରକ୍ଷକ ଡବ୍ଲୁ ଫରେଷ୍ଟର କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ, ଓଡ଼ିଆ ଲୋକଙ୍କ ମିଜାଜ ଏମିତି ବୀରତ୍ଵବ୍ୟଞ୍ଜକ ଯେ, ସୈନ୍ୟବଳ ବା ପୋଲିସ ପ୍ରୟୋଗ କରି ସେମାନଙ୍କୁ ବଶୀଭୂତ କରିହେବନି ( କମିଶନର ରବର୍ଟ କେରଙ୍କୁ ଫରେଷ୍ଟରଙ୍କ ରିପୋର୍ଟ, ତ। ୯.୯.୧୮୧୮) । କିପରି ଭାବେ ଏହି ଅସାଧାରଣ ବୀର ଜାତିକୁ ଆୟତ୍ତ କରିହେବ – ଏହି ଚିନ୍ତାରେ ପଡ଼ି ବ୍ରିଟିଶ ନାନା କୂଟକୌଶଳ ପ୍ରୟୋଗ କରିଥିଲା । ତନ୍ମଧ୍ୟରୁ ପ୍ରଧାନ ଥିଲା ଓଡ଼ିଆ ଭାଷାଭାଷୀ ଭୂଖଣ୍ଡର ବିଭାଜନ ଓ ବିଭାଜିତ ଓଡ଼ିଆ ଅଞ୍ଚଳର ନିକଟସ୍ଥ ଅଣଓଡ଼ିଆ ପ୍ରଦେଶରେ ସଞ୍ଜୁକ୍ତିକରଣ । ତଦ୍ଦ୍ଵାରା ଓଡ଼ିଆଭାଷାଭାଷୀମାନେ ଅଣଓଡ଼ିଆ ପ୍ରଦେଶମାନଙ୍କରେ ସଂଖ୍ୟାଲଘୁ ହୋଇଗଲେ ଓ ଅପରାଜେୟ ଓଡ଼ିଆ ଜାତି ଭୟଙ୍କର ବିପତ୍ତିରେ ପଡ଼ିଗଲା । ଏ ବିପତ୍ତି ବଢିଗଲା, ଯେତେବେଳେ ସେହି ସେହି ପ୍ରଦେଶର ଭାଷା ମଧ୍ୟ କାର୍ଯ୍ୟାଳୟ- ଭାଷା ରୂପେ ଓଡ଼ିଆମାନଙ୍କ ଉପରେ ଲଦି ଦିଆଗଲା ।
ନିଜ ଭାଷା ପାଇଁ ନିଜ ରାଜ୍ୟ ଦାବି
ଓଡ଼ିଆଙ୍କ ପ୍ରତିବାଦ ବିରୁଦ୍ଧରେ ବ୍ରିଟିଶର ଯୁକ୍ତି ଥିଲା, ଯେଉଁ ପ୍ରଦେଶରେ ସଂଖ୍ୟାଧିକ ଲୋକଙ୍କ ଭାଷା ଯାହା ତାହା ହିଁ ହେବ ସେହି ପ୍ରଦେଶର କାର୍ଯ୍ୟାଳୟ-ଭାଷା । ଏଥିରେ ହତାଶ ହୋଇ ନିଜ ଭାଷାକୁ କାର୍ଯ୍ୟାଳୟ- ଭାଷା କରିବା ସକାଶେ ଓଡ଼ିଆ ଭାଷାଭାଷୀ ଅଞ୍ଚଳସମୁଦୟକୁ ଏକତ୍ର କରି ଏକ ସ୍ଵତନ୍ତ୍ର ପ୍ରଦେଶ ଗଠନ ପାଇଁ ଓଡ଼ିଆ ଜାତି ଦାବି ତୋଳିଲା । ଏହା କରାଇ ନଦେବା ପାଇଁ ତେଲୁଗୁ, ବଙ୍ଗାଳୀ ହିନ୍ଦୀଭାଷୀମାନେ ପ୍ରବଳ ଷଡ଼ଯନ୍ତ୍ର କରିଥିଲେ ।
ହିନ୍ଦୀ ବିରୁଦ୍ଧରେ ସମ୍ବଲପୁରରେ ଓଡ଼ିଆ ଜାତୀୟତାର ଜାଗରଣ
ଓଡ଼ିଆ ଜାତି ତେଲୁଗୁ ଓ ବଙ୍ଗାଳୀ ପ୍ରାଦୁର୍ଭାବକୁ ପ୍ରାୟତଃ ଅତିକ୍ରମ କରିଥିବା ବେଳେ, ସମ୍ବଲପୁର ଇଲାକାର କାର୍ଯ୍ୟାଳୟ-ଭାଷାଭାବେ ଓଡ଼ିଆ ସ୍ଥାନରେ ହିନ୍ଦୀ ପ୍ରଚଳନ ପାଇଁ ହିନ୍ଦୀ ଭାଷାଭାଷୀ କର୍ମଚାରୀମାନେ ମଧ୍ୟପ୍ରଦେଶର ବ୍ରିଟିଶ କମିସନରଙ୍କୁ ପ୍ରବର୍ତ୍ତାଇଲେ । ଏହାର ବର୍ଣ୍ଣନା କରି ସ୍ଵଭାବକବି ଗଙ୍ଗାଧର ମେହେର ‘ଉତ୍କଳ ଭାରତୀର କ୍ଷୋଭ’ ଶୀର୍ଷକରେ ଲେଖିଥିଲେ –
“ସମ୍ବଲପୁରର ଅଧିବାସୀମାନେ ଉତ୍କଳ ଚିର ସନ୍ତାନ
ହିନ୍ଦୀ ଆଧିପତ୍ୟ ହୋଇବା ସେଠାରେ ଶୁଣି ସର୍ବେ ହତଜ୍ଞାନ ।”
ଜନସାଧାରଣଙ୍କ ପ୍ରତିବାଦ ସତ୍ତ୍ୱେ ହିନ୍ଦୀଭାଷୀମାନେ ସେଠାରେ ହିନ୍ଦୀକୁ ରାଜଭାଷା କରାଇଦେଲେ । ପୂର୍ବରୁ ଧରଣିଧର ମିଶ୍ରଙ୍କ ନେତୃତ୍ବରେ ଏକ ବିଶାଳ ଜନସଭା ହୋଇ ସ୍ପଷ୍ଟ କରାହୋଇଥିଲା ଯେ, ବେପାରବଣିଜ ପାଇଁ ଆସିଥିବା ହିନ୍ଦୀଭାଷୀମାନେ ସମ୍ବଲପୁର ଜିଲ୍ଲାରେ ବସବାସ କରିଥିଲେ ମଧ୍ୟ ସେମାନଙ୍କ ସଂଖ୍ୟା ଶତକଡ଼ା ୫ ରୁ ଅଧିକ ନୁହେଁ । ଅଧିକନ୍ତୁ ଓଡ଼ିଆ ଭାଷା ସେମାନଙ୍କ ହିନ୍ଦୀ ଭାଷାକୁ ଏପରି ଗ୍ରାସ କରିଯାଇଛି ଯେ, ତହିଁରୁ ଯେଉଁ କାମଚଳା କଥିତ ଭାଷା ବାହାରିଛି ତାହା ‘ଲାରିୟା’ ଭାବେ ପରିଚିତ । ଅତଏବ, ସମ୍ବଲପୁର ଇଲାକାରେ ବେପାର କରୁଥିବା ହିନ୍ଦୀଭାଷୀଙ୍କ ମୂଳ ଭାଷା ଓଡ଼ିଆ ଭାଷା ପାଖରେ ନିଜ ଅସ୍ତିତ୍ଵ ସମର୍ପଣ କରି ଲାରିୟାରେ ପରିଣତ ହୋଇଛି ଓ ତାହାର ପରିବ୍ୟାପ୍ତି ଅତିବେଶୀରେ ପାଞ୍ଚ ଶତାଂଶ ଲୋକଙ୍କ ଭିତରେ ସୀମିତ। ଅବଶିଷ୍ଟ ଅନ୍ଯୁନ ୯୫ ଶତାଂଶ ଅଧିବାସୀଙ୍କ ଭାଷା ଓଡ଼ିଆ । ସୁତରାଂ ସେଠାରେ ଓଡ଼ିଆ ସ୍ଥାନରେ ହିନ୍ଦୀ ପ୍ରଚଳନ ଆଦୌ ଗ୍ରହଣୀୟ ନୁହେଁ । ତଥାପି ହିନ୍ଦୀଭାଷୀ କର୍ମଚାରୀମାନଙ୍କ ଷଡ଼ଯନ୍ତ୍ର ହେତୁ ମଧ୍ୟପ୍ରଦେଶ କମିଶନର ହିନ୍ଦୀକୁ ହିଁ ଓଡ଼ିଆ ମୂଳକରେ ବଳବତ୍ତର କରିଦେଲେ । ସ୍ଵଭାବକବି ଲେଖିଥିଲେ –
“ସମ୍ବଲପୁରରୁ ଓଡ଼ିଆ ନିର୍ମୂଳ ହେବାର କାରଣ ଏହି
ରାଜକର୍ମଚାରୀ , ହିନ୍ଦୀ ବାନା ଧରି ମହାରାଷ୍ଟ୍ରୀ ଛନ୍ତି ରହି ।”
ଭାଷା ହିଁ ଅସ୍ତିତ୍ଵ । ନିଜ ଭାଷା ପ୍ରତି ଏହି ଭୟଙ୍କର ବିପଦରେ ନିରବ ନରହି ବ୍ରଜମୋହନ ପଟ୍ଟନାୟକ, ମଦନମୋହନ ମିଶ୍ର, ମହାନ୍ତ ବିହାରୀ ଦାସ ଓ ବଳଭଦ୍ର ସୁଆର ବଡଲାଟ ଲର୍ଡ କର୍ଜନଙ୍କୁ ଏକ ସ୍ମାରକ ପତ୍ର ଦେଇ ଦାବି କଲେ, “ଯଦି ଏକ ପ୍ରଦେଶରେ ଗୋଟିଏ ଜିଲ୍ଲାର ଭାଷାକୁ ପ୍ରଦେଶର ରାଜଭାଷା କରିବା ସୁବିଧାଜନକ ହେଉନି, ତେବେ ଆମ ଜିଲ୍ଲାକୁ ଓଡ଼ିଶାକୁ ଫେରାଇ ଦିଆଯାଉ (“Once it is considered impossible to introduce Oriya in only one district of Central Provinces, our district should be returned to Orissa.”) ।
ଲର୍ଡ କର୍ଜନ ମଧ୍ୟପ୍ରଦେଶ କମିଶନର ଆଣ୍ଡୃ ଫ୍ରେଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ସମ୍ବଲପୁର ଜିଲ୍ଲା ଗସ୍ତ କରି ଓ ସରଜମିନ ତଦନ୍ତ କରି ଜିଲ୍ଲାଟିର ଭାଷା ପ୍ରକୃତରେ କା’ଣ ତାହା ତାଙ୍କୁ ଜଣାଇବାକୁ । ଏକଥା ୧୨.୯.୧୯୦୧ ତାରିଖରେ ମଧୁବାବୁଙ୍କୁ ଜଣାଇ ସେ କହିଥିଲେ ଯେ, ସମ୍ବଲପୁର ମଧ୍ୟପ୍ରଦେଶରେ ରହିବ କି ଓଡ଼ିଶାକୁ ଫେରିବ ତାହା ନିର୍ଭର କରିବ ଫ୍ରେଜରଙ୍କ ରିପୋର୍ଟ ଉପରେ । ଫ୍ରେଜର ସରଜମିନ ତଦନ୍ତ କରି ଜଣାଇଥିଲେ ଯେ ଜିଲ୍ଲାଟିର ଭାଷା ଓଡ଼ିଆ । ସମ୍ବଲପୁର ଓଡ଼ିଶାକୁ ଫେରିଲା ।
କିନ୍ତୁ ଆମ ଜାତୀୟ ସତ୍ତାକୁ ସେହି ସର୍ବୋଚ୍ଚ ପାଞ୍ଚ ଶତାଂଶ ହିନ୍ଦୀଭାଷୀ ବେପାରୀ ଯେଉଁ କ୍ଷତି ପହଞ୍ଚାଇଥିଲେ , ତାହା ସେତେବେଳେ ବ୍ୟର୍ଥ ହୋଇଥିଲେ ମଧ୍ୟ ହିନ୍ଦୀଭାଷୀମାନେ ଓଡ଼ିଶାରେ ନବୀନ ପଟ୍ଟନାୟକଙ୍କ ଅଣଓଡ଼ିଆପ୍ରୀତିର ସୁଯୋଗ ନେଇ ସେ ମୁଖ୍ୟମନ୍ତ୍ରୀ ଥିବାବେଳେ ପୁଣି ଥରେ ପଶିମ ଓଡ଼ିଶାକୁ ଗ୍ରାସ କରି ସେଠାରେ ଓଡ଼ିଆ ଅସ୍ତିତ୍ଵ ଲୋପ କରିବା ପାଇଁ ମୁଖବ୍ୟାଦାନ କରିଛନ୍ତି । ପ୍ରଶାସନରେ ଇଂରାଜୀ ଆମପାଇଁ ଯେମିତି ବିପଦ, ଆମ ଭୌଗୋଳିକ ଓ ସାମାଜିକ ସତ୍ତାରେ ହିନ୍ଦୀ ସେମିତି ଆମ ପାଇଁ ଏକ ନୂଆ ବିପଦ ଭାବେ ଉଭା ହୋଇଛି ।
ହିନ୍ଦୀଭାଷୀ ରାଜ୍ୟପାଳ ଆମ ବିଧାନସଭାର ପ୍ରଥମ ଅଧିବେଶନର ପ୍ରଥମ ଦିନରେ ହିନ୍ଦୀରେ ଭାଷଣ ଦେଇ ଆମ ଜାତିର ଆତ୍ମସମ୍ମାନବୋଧକୁ ଉପହାସ କରିଛନ୍ତି । ଓଡ଼ିଆବିଦ୍ଵେଷୀତା ପାଇଁ କ୍ଷମତାରୁ ତଡ଼ା ଖାଇଥିବା ନବୀନ ପଟ୍ଟନାୟକ ବିରୋଧୀ ଦଳର ମୁଖ୍ୟ ଥାଇ, ରାଜ୍ୟପାଳଙ୍କ ଭାଷଣରେ ହିନ୍ଦୀ ବ୍ୟବହାରକୁ ନିନ୍ଦା କରିବା ପରିବର୍ତ୍ତେ ଅନ୍ୟ ଏକ ଆଳରେ କକ୍ଷ ତ୍ୟାଗ କରି ପଳାଇବା ଓଡ଼ିଆ ଜାତିର ମର୍ଯ୍ୟାଦା ପ୍ରତି ତାଙ୍କ ଅଭ୍ୟସ୍ତ ଅବମାନନା ଅକ୍ଷୁର୍ଣ୍ଣ ଥିବାର ଏକ ନୂଆ ପ୍ରମାଣ ।

